ବସନ୍ତ ପଞ୍ଚମୀରେ କ'ଣ କ'ଣ କାମ କରାଯାଇଥାଏ

ବସନ୍ତ ପଞ୍ଚମୀରେ କ'ଣ କ'ଣ କାମ କରାଯାଇଥାଏ

ମା ସରସ୍ୱତୀ ଶୁକ୍ଳ ବସ୍ତ୍ର ପରିଧାନ କରି କର୍ଣ୍ଣରେ ରତ୍ନବିଭୂଷିତ କୁଣ୍ଡଳ ଧାରଣ କରି ଗଳାରେ ଗଜମୋତି ଏବଂ ମୁକ୍ତାହାର ପିନ୍ଧି ଓ ହସ୍ତରେ ବୀଣା ଓ ପୁସ୍ତକ ଧାରଣ କରି ପଦ୍ମାସନରେ ଶ୍ୱେତପଦ୍ମ ଉପରେ ଅଧିଷ୍ଠାତ୍ରୀ ହୁଅନ୍ତି । ମା ସରସ୍ୱତୀ ବିଦ୍ୟାର୍ଥୀଙ୍କୁ ଓ ସଙ୍ଗୀତ ସାଧକଙ୍କୁ ଅଶେଷ କୃପା ପ୍ରଦାନ କରିଥାନ୍ତି ।

  1. ଏହିଦିନ କୌଣସି ଶୁଭକାର୍ଯ୍ୟ କରିବାକୁ ହେଲେ କୌଣସି ବେଳା ନକ୍ଷତ୍ର ଦେଖିବାକୁ ପଡେନାହିଁ। ଏହି ଦିନଟି ହିଁ ପବିତ୍ର। ଶ୍ରୀମନ୍ଦିରରେ ମଧ୍ୟ ଏହିଦିନ ରଥ ଅନୂକୁଳ ପାଇଁ ସ୍ୱତନ୍ତ୍ର ପୂଜା କରାଯାଇଥାଏ।
  2. ମହାପ୍ରଭୁ ଦୀର୍ଘଦିନ ଧରି ଶୀତରୁ ରକ୍ଷା ପାଇବାକୁ ପରିଧାନ କରିଥିବା ଘୋଡ ବସ୍ତ୍ର ଏହି ଦିନରୁ ପରିତ୍ୟାଗ କରନ୍ତି। ସମାପନ ହୋଇଥାଏ ଘୋଡଲାଗି।
  3. ଶାସ୍ତ୍ର ଅନୁସାରେ, ଏହି ଦିନ ମା’ ସରସ୍ୱତୀଙ୍କୁ ପୂଜା କଲେ ବାଗ୍‌ବାଦୀନି ପ୍ରସନ୍ନ ହୋଇଥାନ୍ତି। ବସନ୍ତ ପଞ୍ଚମୀ ଦିନ ହଳଦୀ ରଙ୍ଗର ବସ୍ତ୍ର ପରିଧାନ କରିବା ଉଚିତ୍‌ ଏବଂ ସରସ୍ୱତୀଙ୍କୁ ହଳଦୀ ଓ ଧଳା ରଙ୍ଗର ଫୁଲ ଓ ବସ୍ତ୍ରରେ ସଜେଇ ପୂଜା କରିବା ଉଚିତ୍‌।

ବୈଶିଷ୍ଟ୍ୟ

  1. ପ୍ରାଚୀନ କାଳରେ ରାଜା ମହାରାଜାମାନେ ଶ୍ରୀ ପଞ୍ଚମୀକୁ 'ରତିକାମ ମହୋତ୍ସବ' ରୂପେ ପାଳନ କରୁଥିଲେ ।
  2. ପ୍ରାଚୀନ କାଳରେ ରାଜା ମହାରାଜାମାନେ ଏହି ଦିନକୁ କୌମୁଦୀ ମହୋତ୍ସବ ରୂପେ ପାଳନ କରୁଥିଲେ । ଫୁଲରେ ରାଜଉଆସ ସଜା ହେଉଥିଲା, ଫୁଲର ଦୋଳିରେ ରାଜାରାଣୀ ଦୋଳି ଖେଳୁଥିଲେ, ପ୍ରଜାମାନେ ଆସି ରାଜ ଉଆସରେ ଭୋଜନ କରୁଥିଲେ ।
  3. ମାଘ ପଞ୍ଚମୀରେ ଗୋପୀମାନେ ମଧ୍ୟ କୃଷ୍ଣଙ୍କ ସହ ରାସ ଉତ୍ସବ ମନାଉଥିଲେ ।କେତେକ ଅଞ୍ଚଳରେ ପବିତ୍ରତାର ସହ ଉଭୟ ସ୍ୱାମୀ-ସ୍ତ୍ରୀ ମାଘ ଶୁକ୍ଳ ପଞ୍ଚମୀକୁ ପ୍ରେମ ଦିବସ ରୂପେ ପାଳନ କରିଥାନ୍ତି । 
  4. କାମଦେବ ଓ ରତିଙ୍କୁ ହଳଦିଆ ଫୁଲରେ ପ୍ରତିମା କରି ଦାମ୍ପତ୍ୟ ସୁଖପାଇଁ ପୂଜା କରିଥାନ୍ତି । 
  5. ଶାସ୍ତ୍ର ଅନୁସାରେ ଶ୍ରୀପଞ୍ଚମୀ ଦିନ ବିବାହ , ନିର୍ବନ୍ଧ କାର୍ଯ୍ୟ କଲେ ଦାମ୍ପତ୍ୟ ଜୀବନ ସୁଖମୟ ହୋଇଥାଏ । 
  6. ଯେଉଁମାନଙ୍କର ବିବାହ ହେଇପାରୁନି, ସେମାନେ ଏହି ସମୟରେ ଶ୍ରଦ୍ଧା ଭକ୍ତିର ସହ ହଳଦୀ ଲଗାଇ ସ୍ନାନକରି ହଳଦିଆ ବସ୍ତ୍ର ପରିଧାନ କରି କୃଷ୍ଣ ଭଗବାନଙ୍କୁ ହଳଦିଆ ବସ୍ତ୍ରରେ ସଜାଇ ହଳଦିଆ ଫୁଲରେ ସଜାହେଇଥିବା ଝୁଲାରେ ଝୁଲାଇ ବସନ୍ତ ଉତ୍ସବ ପାଳନ କଲେ ବିବାହ ସହଜରେ ହୋଇଯାଏ ବୋଲି ବିଶ୍ୱାସ ରହିଛି |
  7. ଏହିଦିନ ଅନେକ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇଥାଏ l ଯେପରିକି ବିବାହ, ନୂଆ କାର୍ଯ୍ୟ ଆରମ୍ଭ କରିବା, ଗୃହ ପ୍ରବେଶ, କିମ୍ବା ଅନ୍ୟାନ୍ୟ ଶୁଭ କାର୍ଯ୍ୟ କରାଯାଇ ଥାଏ l

ଶ୍ରୀମନ୍ଦିରରେ ବସନ୍ତ ପଞ୍ଚମୀ

  1. ଏହି ଦିନ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପଞ୍ଚପଲ୍ଲବ ଲାଗି ହୁଏ ଓ ରଥଯାତ୍ରା ନିମନ୍ତେ ରଥକାଠ ଅନୁକୂଳ କରାଯାଏ ।
  2. ପୌରାଣିକ ମତରେ ଶ୍ରୀକୃଷ୍ଣ ଶ୍ରୀରାଧା ଏକତ୍ର ପୁଷ୍ପ ଆଭରଣ ମଣ୍ଡିତ ପୂର୍ବକ ଫଗୁ ବା ଚାଚେରୀ ଖେଳୁଥିବାର ସ୍ମୃତି ସ୍ୱରୂପ ବସନ୍ତ ପଞ୍ଚମୀ ପାଳିତ ହୋଇଥାଏ ।
  3. ମାଘ ଶୁକ୍ଳ ପଞ୍ଚମୀରେ ଶ୍ରୀଜୀଉମାନଙ୍କର ଘୋଡ଼ବସ୍ତ୍ର କଢ଼ାଯାଇ ‘ଜାମାଲାଗି’ ବସ୍ତ୍ର ପିନ୍ଧାଯାଏ । ଶ୍ରୀ ଜୀଉ ମାଘ ଶୁକ୍ଳପଞ୍ଚମୀ ତିଥିରୁ ନିଜର ଶୀତବସ୍ତ୍ରକୁ ପରିହାର କରି ଗୈରିକ ବର୍ଣ୍ଣର ବସ୍ତ୍ର ପରିଧାନ କରନ୍ତି ।
  4. ଭୋଗବିଳାସର ଋତୁ ବସନ୍ତର ଆଗମନରେ ପ୍ରଭୁ ନିଜେ ସମସ୍ତ ବିଳାସ ତ୍ୟାଗକରି ବ୍ରହ୍ମଚାରୀ ବେଶରେ ସମୟ ଅତିବାହିତ କରିବାକୁ ଏବଂ ସଂଯମୀ ହେବାକୁ ଭକ୍ତଙ୍କୁ ଆହ୍ୱାନ ଦେଇଥାନ୍ତି । ତେଣୁ ସେ ନିଜେ ହେଙ୍ଗୁ ଓ ହରଡ଼ ଗୁଣ୍ଡରେ ପ୍ରସ୍ତୁତ ବସନ୍ତ ପିଷ୍ଟକ ଗ୍ରହଣ କରିଥାନ୍ତି ।
  5. ଉକ୍ତ ତିଥିରେ ଶ୍ରୀଜଗନ୍ନାଥଙ୍କର ପାରମ୍ପରିକ ରଥଯାତ୍ରାର ରଥ ନିର୍ମାଣ ନିମନ୍ତେ ପ୍ରଥମ କରି ରଥକାଠ ବନବିଭାଗରୁ ଶ୍ରୀକ୍ଷେତ୍ରକୁ ଆସି ରାଜନଅର ସମ୍ମୁଖରେ ତିନିବାଡ଼ର ତିନିରଥ ନିର୍ମାଣ ନିମନ୍ତେ ତିନିଗୋଟି କାଠକୁ ପାରମ୍ପରିକ ଭାବେ ପୂଜାର୍ଚ୍ଚନା କରାଯାଇ ଶୁଭ ଦିଆଯାଇଥାଏ । ସେହି ତିନିଗୋଟି କାଠଗଣ୍ଡିରେ ତିନିରଥର କୋଣଗୁଜ ନିର୍ମାଣ କରାଯାଇ ନୃସିଂହଙ୍କ ମୂର୍ତ୍ତି ଖୋଦେଇ କରାଯାଏ ।
  6. ଶ୍ରୀମନ୍ଦିରରେ ବସନ୍ତ ଉତ୍ସବ ପାଳନ ସହ ଏହି ତିଥିରୁ ବେଣ୍ଟଯାତ୍ରା ଆରମ୍ଭ ହୋଇ ଦୋଳ ଯାଏଁ ଚାଲିଥାଏ । ବେଣ୍ଟଯାତ୍ରା ଠାକୁରଙ୍କର ଶିକାର ଯାତ୍ରା । ବୈଷ୍ଣବ ମତରେ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କର ଏହା ବନଗମନ ସମୟ । ପ୍ରଭୁ ଶ୍ରୀଜଗନ୍ନାଥଙ୍କର ପ୍ରତିନିଥି ଭାବେ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କର ବିଗ୍ରହ ବେଣ୍ଟପୋଖରୀ ପାଖକୁ ଶିକାରରେ ଯାଆନ୍ତି । ବେଣ୍ଟ ପୋଖରୀରେ ମୃଗ ଭାବେ ନଡ଼ିଆ ଏବଂ କସ୍ତୁରୀପୁଡ଼ିଆ ରଖାଯାଏ । ଠାକୁର ତାକୁ ବାଣ ସଂଯୋଗ କରନ୍ତି ।
  7. ଏହି ଦିନ ଶ୍ରୀଜୀଉମାନଙ୍କର ସନ୍ଧ୍ୟାଧୂପ ପରେ ସରସ୍ୱତୀ ଦେବୀଙ୍କ ମନ୍ଦିରରେ ମାଦଳା ପାଞ୍ଜି ପୂଜା କରାଯାଏ ।

Post a Comment

0 Comments