ଦେବସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ଜନ୍ମଦିନ କାହିଁକି ପାଳିତ ହୋଇଥାଏ !
ଜଗତର ନାଥ ଶ୍ରୀଜଗନ୍ନାଥ ବଡ଼ଭାଇ ଶ୍ରୀବଳଭଦ୍ର ଏବଂ ଦେବୀ ସୁଭଦ୍ରାଙ୍କ ସହିତ ରତ୍ନ ସିଂହାସନରେ ରହି ମାନବୀୟ ଲୀଳା ପ୍ରକଟ କରିଥାଆନ୍ତି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଏହି ମାନବୀୟ ଲୀଳାକୁ ଭକ୍ତ, ସେବକ, ଆଧ୍ୟାତ୍ମିକ ଅନୁରାଗୀ ଦର୍ଶନ କରି ନିଜକୁ କୃତାର୍ଥ ମନେ କରିଥାଆନ୍ତି । ସବୁ ମଣିଷମାନଙ୍କ ପରି ମହାପ୍ରଭୁଙ୍କର ମଧ୍ୟ ଜନ୍ମ ତିଥି ରହିଛି । ଦାରୁବ୍ରହ୍ମଙ୍କ ଜନ୍ମ ତିଥିକୁ ଏହି ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ କିପରି ଓ କାହିଁକି ପାଳନ କରାଯାଇଥାଏ ସେ ସମ୍ପର୍କରେ ଅନେକ ପୁରାତନ ଗ୍ରନ୍ଥରେ ଲିପିବଦ୍ଧ ହୋଇ ରହିଛି ।
ଜ୍ୟେଷ୍ଠ ପୂର୍ଣ୍ଣିମା ଦିବସରେ ମହାପ୍ରଭୁଙ୍କ ଆବିର୍ଭାବ
ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା ସମୟରେ ଶ୍ରୀମନ୍ଦିରରେ ଦାରୁବ୍ରହ୍ମ ରୂପୀ ବଡ଼ଠାକୁର ଶ୍ରୀ ବଳଭଦ୍ର, ଜଗତର ନାଥ ଶ୍ରୀ ଜଗନ୍ନାଥ ଓ ଦେବୀ ସୁଭଦ୍ରାଙ୍କ ମହାସ୍ନାନ ହୋଇଥାଏ । ସାଧାରଣତଃ, ବର୍ଷରେ ଥରୁଟିଏ ଶ୍ରୀଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଶ୍ରୀଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।
- ମହାପ୍ରଭୁଙ୍କ ଆବିର୍ଭାବ ବେଳେ ପ୍ରଥମେ ଏହି ସ୍ନାନ ହୋଇଥିବାରୁ ଶ୍ରୀଦାରୁବ୍ରହ୍ମଙ୍କ ଆଦ୍ୟଲୀଳା ବୋଲି କୁହାଯାଏ । ମହାପ୍ରଭୁ ଦାରୁବ୍ରହ୍ମ ରୂପ ଧାରଣ କରିବା ପରେ ପ୍ରଥମ ମଙ୍ଗଳମୟ ମୁହୂର୍ତ୍ତରେ ଏହି ସ୍ନାନଲୀଳା କରାଇଥିଲେ ମହାରାଜା ଇନ୍ଦ୍ରଦ୍ୟୁମ । ସେତେବେଳେ ସ୍ନାନମଣ୍ଡପ ନଥିବାରୁ ଏକ କାଠର ମଞ୍ଚ ନିର୍ମାଣ କରାଯାଇ ତାହା ଉପରେ ସ୍ନାନବିଧି ସମାପନ ହୋଇଥିଲା । ସେଥିପାଇଁ ଅନେକ ଶାସ୍ତ୍ରରେ ଏହା ମଞ୍ଚସ୍ନାନ ବୋଲି ଉଲ୍ଲେଖ ହୋଇଛି ।
- ଶାସ୍ତ୍ରମତରେ, ୧୦୮ ସୁନା କଳସରେ ଅଭିମନ୍ତ୍ରିତ ପବିତ୍ର ଜଳରେ ଦାରୁବ୍ରହଙ୍କ ଆଦ୍ୟ ସ୍ଥାନଲୀଳା ସମାପନ ହୋଇଥିଲା । ସେହି ଶାସ୍ତ୍ରୀୟ ମତକୁ ଅନୁସରଣ କରି ଆଜି ବି ସେହିପରି ସ୍ନାନଯାତ୍ରା ଅନୁଷ୍ଠିତ ହେଉଅଛି । ସୂଚନାଯୋଗ୍ୟ, ଶାସ୍ତ୍ର ମତରେ ଜ୍ୟେଷ୍ଠ ପୂର୍ଣ୍ଣିମା ଦିବସରେ ମହାପ୍ରଭୁଙ୍କ ଆବିର୍ଭାବ ହୋଇଥିଲା । ଜ୍ୟେଷ୍ଠ ମାସ ପୂର୍ଣ୍ଣମୀରେ ମହାପ୍ରଭୁଙ୍କ ପ୍ରଥମ ସ୍ଥାନଲୀଳା ଜାତି, ବର୍ଣ୍ଣ, ନିର୍ବଶେଷରେ ସମସ୍ତେ ଦର୍ଶନ କରିଥିବାରୁ ଏହି ଲୀଳାକୁ ପତିତପାବନ ଲୀଳା କୁହାଯାଏ ।
ଶୀତଳା ଠାକୁରାଣୀଙ୍କ କୂଅରୁ ଆସେ ଶୀତଳ ଜଳ
- ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦଇତାମାନେ ପହଣ୍ଡି କରାଉଥିବା ବେଳେ ମଦନମୋହନଙ୍କୁ କେବଳ ମହାଜନ ସେବକମାନେ (ବ୍ରାହ୍ମଣ ଗୋଷ୍ଠୀର ସେବକ) ବିଜେ କରାଇଥାନ୍ତି ।
- ପହଣ୍ଡି ବିଜେ ସମୟରେ ସାତ ପାହଚ ଉପରେ ଠାକୁରମାନେ ଚୂଳ ଓ ଟାହିଆ ଲାଗି ହୁଅନ୍ତି । ଏହି ସାତପାହଚ ଉପରେ ଟାହିଆ ନାଗି ହେବାପରେ ଦ୍ଵିତୀୟ ମଙ୍ଗଳାର୍ପଣ ହୁଏ । ତା ପରେ ବନ୍ଦାପନା ଓ ପରେ ପରେ ରାଘବଦାସ ମଠରୁ ଆସିଥିବା ଘଷା ନାଗି କରାଯାଏ ।
- ତା ପରେ ପନ୍ତି ଖାଇ ଖାଇ ଠାକୁରମାନେ ସ୍ନାନବେଦିକୁ ଯାଇ ନିଜର ଆସ୍ଥାନ ଉପରେ ଅବସ୍ଥାନ କରନ୍ତି l ସୁଆର ବଡୁ ଅମ୍ଭୂଣିଆ ପାଣି ଛିଞ୍ଚନ୍ତି l
- ଗରାବଡୁ ସୁବର୍ଣ୍ଣକଳସ ଧରି ଶୀତଳାଦେବୀଙ୍କ ସମ୍ମୁଖସ୍ଥ ଓ ବର୍ଷତମାମ ଅପବ୍ୟବହୃତ ହୋଇ ରହିଥିବା ସ୍ଵର୍ଣ୍ଣକୂପରୁ ଜଳ ଆଣନ୍ତି ।
- ଦେବସ୍ଥାନ ପୂର୍ଣ୍ଣିମାର ପୂର୍ବ ଦିନ ମହାପ୍ରଭୁଙ୍କ ପାଇଁ ଶ୍ରୀମନ୍ଦିରର ଦେବଯାନ ମାର୍ଗରେ ଅବା ସୁନା କୂଅରୁ ୧୦୮ କଳସ ଜଳ ସଂଗ୍ରହ କରାଯାଏ ।
- ଏହି ସୁନା କୂଅଟି ଶୀତଳା ଠାକୁରାଣୀ ଓ ତାଙ୍କ ବାହାନ ସିଂହଙ୍କ ମଧ୍ୟରେ ଅବସ୍ଥିତ । ପରେ ଯେପରି ଏହି କୂଅକୁ ବର୍ଷସାରା ସିଂହ ହିଁ ସୁରକ୍ଷିତ ରଖିଥାଏ ।
- କୂଅର ବ୍ୟବହାର ବର୍ଷସାରା ନଥବାରୁ ଜନପଦୀୟ ତାନ୍ତ୍ରିକ ପରମ୍ପରାରେ ଏହି ଜଳକୁ ଅଣତୁଠ ପାଣି ବୋଲି ଗ୍ରହଣ କରାଯାଏ ।
୧୦୮ ଗରା ଜଳରେ ସ୍ନାନ କରନ୍ତି ଶ୍ରୀଜୀଉ
- ସ୍ନାନଲୀଳାରେ ବୈଦିକ ବିଧିରେ ସ୍ନାନ ଜଳ ଅଭିମନ୍ତ୍ରିତ ହେଉଥବା ବେଳେ ସ୍ଥାନ କାଳରେ ତାନ୍ତ୍ରିକ ବିଧିରେ ତେରଟି ପଦାର୍ଥ ମିଶ୍ରଣ କରାଯାଏ । ଯଜ୍ଞ ପରମ୍ପରାରେ, ଏହି କୂଅକୁ ‘ପ୍ରଣୀତାକୂପ’ ବୋଲି କୁହାଯାଏ ।
- ପ୍ରାଚୀନ କାଳରେ ମଧ୍ୟ ଓଡ଼ିଶାରେ ଛୁଆଟିଏ ଜନ୍ମ ହେଲେ ତାହାକୁ ଅଣତୁଠ ପାଣି ମିଶ୍ରଣ କରାଯାଇ ସ୍ନାନ କରିବାର ପରମ୍ପରା ରହିଥଲା । ଏହାଦ୍ଵାରା ଦୁଷ୍ଟ ଶକ୍ତିଙ୍କ ପ୍ରଭାବ କଅଁଳା ପିଲାଙ୍କ ଉପରେ ପଡ଼େନାହିଁ ।
- ଅଭିମନ୍ତ୍ରିତ ହୋଇଥିବା ଜଳରେ ୧୦୮ କଳସରେ ଅଷ୍ଟବନ୍ଧ, କୃଷ୍ଣ-ଅଗୁରୁ, ଉଶୀର, ଗୋରଚନା, ଦେବଦାରୁ, ମୁଥା, ହରିତାଳ, ବାହାଡ଼ା, ଆମଳକୀ, ସଞ୍ଚିଷ୍ଠା, ତାମ୍ରପର୍ଣ୍ଣୀ, ସୋମପର୍ଣ୍ଣୀ ଓ ଲୋଧା ମିଶ୍ରତ କରାଯାଏ । ଏହି ମହୌଷଧି ମିଶ୍ରଣ କରାଯିବା ପରେ ଜଳକୁ ଅଭିମନ୍ତ୍ରିତ କରାଯାଏ । ସେହି ଗନ୍ଧଯୁକ୍ତ ଅଭିମନ୍ତ୍ରିତ ଜଳରେ ଦାରୁବ୍ରହଙ୍କୁ ଶ୍ରୀଜୀଉମାନଙ୍କୁ ୧୦୮ ଗରା ଜଳରେ ସ୍ନାନ କରାଯାଏ l
- ଏହି ଜଳରୁ ୩୫ ଗରା ଶ୍ରୀଜଗନ୍ନାଥଙ୍କୁ, ୩୩ ଗରା ଶ୍ରୀବଳଭଦ୍ରଙ୍କୁ, ୩୨ ଗରା ମା’ ସୁଭଦ୍ରାଙ୍କୁ ଓ ୧୮ ଗରା ସୁଦର୍ଶନଙ୍କୁ ସ୍ନାନ କରାଯାଏ । ଏହାକୁ “ପ୍ରତ୍ୟେକ୍ଷ ଅବକାଶ” କହନ୍ତି । ମହାପ୍ରଭୁଙ୍କୁ ଏହି ଦିନ ଗଜାନନ ବେଶ କରାଯାଏ । ଏହି ଦିନ ରାଘବଦାସ ମଠ ପକ୍ଷରୁ ଦେବୀ ସୁଭଦ୍ରାଙ୍କୁ ଫୁଲଚୂଳ, ଚନ୍ଦ୍ରିକା ଓ ଛତ୍ରି ନାଗି କରାଯାଇ ବେଶ କରାଯାଏ । ଗୋପାଳ ତୀର୍ଥ ମଠଦ୍ଵାରା ପ୍ରଦତ୍ତ ଶ୍ରୀବଳଭଦ୍ରଙ୍କୁ ଗଜାନନ ବେଶ ଓ ସୁଦର୍ଶନଙ୍କୁ ଚକ୍ର ଲାଗି କରାଯାଏ । ଏହି ଦିନ ତିନି ଧୂପ ବଦଳରେ ଗୋଟିଏ ଧୂପ ଦିଆଯାଏ ।
- ତା’ପରେ ଠାକୁରମାନେ ଶ୍ରୀମନ୍ଦିରକୁ ଗୋଟି ପହଣ୍ଡିରେ ଫେରନ୍ତି । ଭିତର କାଠପାଖ ଅଣସର ପିଣ୍ଡିରେ ଠାକୁରମାନେ ବିଜେ କରିବାପରେ ତାଟି ବନ୍ଧାଯାଏ ଓ ପଟିମୂର୍ତି ସ୍ଥାପନା କରାଯାଏ ।
- ତାପରେ ଏହି ଚତୁର୍ଧାମୂର୍ତ୍ତି ସ୍ନାନପୂର୍ଣ୍ଣିମା ଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଦିର୍ଘ ୧୫ ଦିନ ଧରି ଜ୍ଵରରେ ପଡ଼ନ୍ତି । ଏହାକୁ ଅଣସର କୁହାଯାଏ । ଏହି ୧୫ ଦିନ ଭକ୍ତମାନେ ଜିଉମାନଙ୍କର ଦର୍ଶନ ପାଆନ୍ତି ନାହିଁ । ଏହି ସମୟରେ ଭକ୍ତମାନେ ନିକଟସ୍ଥ ବ୍ରହ୍ମଗିରିରେ ପୂଜିତ ହେଉଥିବା ଅଲାରନାଥଙ୍କୁ ଦର୍ଶନ କରନ୍ତି ।
ସ୍ନାନମଣ୍ଡପରେ ଦକ୍ଷିଣାଭିମୁଖି ଶ୍ରୀଜଗନ୍ନାଥାଦିଙ୍କୁ ଯେଉଁମାନେ ଭକ୍ତି ସହକାରେ ଦର୍ଶନ ବା ଆରତୀ କରନ୍ତି ସେମାନେ ଅଶ୍ୱମେଧ ଯଜ୍ଞର ଫଳଲାଭ କରଥାନ୍ତି । ସେମାନଙ୍କର ସକଳ ମନୋରଥ ପୂରଣ ହୋଇଥାଏ । ଅନ୍ତ କାଳରେ ସେମାନେ ବୈକୁଣ୍ଠ ପୁରକୁ ଗମନ କରନ୍ତି ।


0 Comments
Do you have any doubts or suggestions? Ask them here in the comments!