ମହାପ୍ରଭୁ ଦେବସ୍ନାନ ପୂର୍ଣ୍ଣିମା ଦିନ ହାତୀ ବେଶ ଧାରଣ କରନ୍ତି କାହିଁକି !
ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଶ୍ରୀକ୍ଷେତ୍ରରେ ଏହି ଅବସରରେ ପାଳିତ ହେଉଛି ଚତୁର୍ଦ୍ଧା ମୂରତୀଙ୍କ ସ୍ନାନଯାତ୍ରା । ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଠାକୁର ଶ୍ରୀବଳଭଦ୍ର, ମାଆ ସୁଭଦ୍ରା ଏବଂ ଚକ୍ରରାଜ ଶ୍ରୀସୁଦର୍ଶନ ଆଜି ପରି ପବିତ୍ର ଦିବସରେ ଶ୍ରୀମନ୍ଦିର ପରସରରେ ଥିବା ସ୍ନାନମଣ୍ଡପରେ ସ୍ନାନ କରିଥାଆନ୍ତି । ଏହି ଅବସରରେ ଶ୍ରୀଜୀଉମାନଙ୍କର ଜନ୍ମ ଉତ୍ସବ ପାଳନ ବିଧି ରହିଥିବା ବେଳେ ଚତୁର୍ଦ୍ଧା ମୂରତି ଗଜାନନ ବେଶ ଧାରଣ କରିଥାଆନ୍ତି ।
ତେବେ ଏହି ହାତୀ ବା ଗଜାନନ ବେଶ କାହିଁକି ଠାକୁରମାନେ ଧାରଣ କରିଥାଆନ୍ତି ତାହା ପଛରେ ରହିଛି ଏକ ସୁନ୍ଦର କଥାବସ୍ତୁ ।
କିମ୍ବଦନ୍ତୀ କହେ
- ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ହାତୀ ବେଶ ବା ଗଜାନନ ବେଶ ସମ୍ପର୍କରେ ରହିଥିବା କିମ୍ବଦନ୍ତୀ ଅନୁଯାୟୀ ପଞ୍ଚଦଶ ଶତାବ୍ଦୀରେ ମହାରାଷ୍ଟ୍ରରୁ ମହାଗାଣପତ୍ୟ ସମ୍ପ୍ରଦାୟର ଶ୍ରୀ ଗଣପତି ଭଟ୍ଟ ନାମକ ଜୈନିକ ବିଶିଷ୍ଟ ବ୍ରାହ୍ମଣ ଶ୍ରୀକ୍ଷେତ୍ରକୁ ଆଗମନ କରିଥିଲେ ।
- ସେ ପ୍ରଭୁ ଗଣେଶଙ୍କ ବଡ଼ ଭକ୍ତ ଥିଲେ । ସ୍ନାନ ପୂର୍ଣ୍ଣିମୀ ଦିନ ଶ୍ରୀମନ୍ଦିରରୁ ପ୍ରବେଶ କରି ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ କରି ଗଣପତି ଭଟ୍ଟ ସନ୍ତୋଷ ଲାଭ କଲେ ନାହିଁ ।
- ତେଣୁ ନିରାଶ ମନରେ ଶ୍ରୀକ୍ଷେତ୍ରରୁ କିଛି ବାଟ ଯିବା ପରେ ମୁକ୍ତେଶ୍ଵର ଠାରେ ଶୂନ୍ୟବାଣୀ ଶୁଣି ପୁନଶ୍ଚ ଶ୍ରୀମନ୍ଦିରକୁ ଫେରିଆସି ଦେଖନ୍ତି ଯେ, ଠାକୁରମାନେ ତାଙ୍କର ଇଷ୍ଟ ଗଣପତି ରୂପ ଧାରଣ କରି ଧବଳ ରୂପରେ ବଳଭଦ୍ର ଓ କଳା ରୂପରେ ଜଗନ୍ନାଥ ଶୋଭା ପାଉଛନ୍ତି ।
- ଗଣପତି ଭଟ୍ଟ ଏହି ଦୃଶ୍ୟ ଦେଖି ଭକ୍ତି ବିଭୋର ହୋଇପଡ଼ିଲେ ଓ ତତ୍କ୍ଷଣାତ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଚରଣାବିନ୍ଦରେ ସାଷ୍ଟାଙ୍ଗ ପ୍ରଣିପାତ ପୂର୍ବକ ପ୍ରାର୍ଥନା କରିଥିଲେ ।
- ତାଙ୍କ ପ୍ରାର୍ଥନାରେ ସନ୍ତୁଷ୍ଟ ହୋଇ ମହାପ୍ରଭୁ ତାଙ୍କୁ ବର ପ୍ରଦାନ କଲେ ଯେ, ପ୍ରତିବର୍ଷ ଏହି ଦିନରେ ସେ ଗଜବେଶ ଧାରଣ କରିବେ ।
- ଏହି ଘଟଣା ପରଠାରୁ ପ୍ରତିବର୍ଷ ଚତୁର୍ଦ୍ଧା ମୂର୍ତ୍ତି ସ୍ନାନ ପୂର୍ଣ୍ଣିମାରେ ଗଜବେଶ ଧାରଣ କରନ୍ତି ।
- ଗଣପତି ଭଟ୍ଟଙ୍କ ଗଣପତି ବେଶ ଦର୍ଶନର ସ୍ମାରକୀ ସ୍ଵରୂପ ଏହି ବେଶ ହୋଇ ଆସୁଛି ।

.jpg)
0 Comments
Do you have any doubts or suggestions? Ask them here in the comments!