ଅଷ୍ଟମୀରେ ହୁଏ ମା'ଙ୍କ 'ସନ୍ଧିପୂଜା' ଜାଣନ୍ତୁ ଏହା କ'ଣ
ଅଷ୍ଟମୀରେ ହୁଏ ମା’ଙ୍କ ମୂଖ୍ୟ ସନ୍ଧିପୂଜା । ମହାଷ୍ଟମୀର ଶେଷ ଦଣ୍ଡ ଓ ମହାନବମୀର ଆଦ୍ୟ ଦଣ୍ଡର ମଧ୍ୟକାଳୀନ ସମୟକୁ ସନ୍ଧି ସମୟ କୁହାଯାଏ । ଶାସ୍ତ୍ର ବିଧି ଅନୁସାରେ ଶାରଦୀୟ ଓ ବାସନ୍ତୀ ଦୁର୍ଗାପୂଜାରେ ଏହି ସନ୍ଧି କାଳହିଁ ଦେବୀଙ୍କୁ ବଳି ଦେବର ପ୍ରଶସ୍ତ ସମୟ । ଏହି ସମୟରେ ମା’ଙ୍କ ପାଖରେ ବଳି ଦିଆଯାଏ । ପୂର୍ବରୁ ଜୀବମାନଙ୍କୁ ବଳି ଦିଆଯାଉଥିଲା, ଆଜିକାଲି ଲାଉ, ପାଣିକଖାରୁ ଓ ବୋଇତିକଖାରୁ ବଳି ଦିଆଯାଉଛି । ଓଡ଼ିଶାରେ ଏହିଦିନ ମହିଳାମାନେ ଶାଢ଼ୀ, ଫେଣୀ ଇତ୍ୟାଦି ଆଣି ମା’ଙ୍କ ପାଖରେ ଭୋଗ କରିସାରିବା ପରେ ନୂଆ ବସ୍ତ୍ର ପରିଧାନ କରିଥାନ୍ତି ।
କିମ୍ବଦନ୍ତୀ -1
ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ୱାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ୱାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ୱାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
କିମ୍ବଦନ୍ତୀ -2
- ତ୍ରେତୟା ଯୁଗରେ ରାବଣକୁ ପରାସ୍ତ କରିବା ନିମନ୍ତେ ରାମଚନ୍ଦ୍ର ଚୈତ୍ର ବଦଳରେ ଆଶ୍ୱିନରେ ଏହି ପୂଜା କରିଥିଲେ, ସେବେଠାରୁ ଏହା ଉଭୟ ଚୈତ୍ର ବାସନ୍ତୀ ନବରାତ୍ର ଓ ଆଶ୍ୱିନ ଶାରଦ ନବରାତ୍ର ଭାବେ ବିଦିତ ଓ ଉଭୟ ସମୟରେ ଦେବୀଙ୍କ ମହାପୂଜା ପ୍ରଚଳିତ ।
- ଶ୍ରୀରାମଚନ୍ଦ୍ର ରାବଣଙ୍କୁ ବଧ କରିବା ପାଇଁ ଶରତ କାଳରେ ଶ୍ରୀ ଶ୍ରୀ ଦୁର୍ଗାପୂଜା କରିଥିଲେ । ଏହାକୁ ‘ଅକାଳବୋଧନ’ କୁହାଯାଏ । କାରଣ ଶରତକାଳ ସୂର୍ଯ୍ୟ ଦକ୍ଷିଣାୟନ କରନ୍ତି । ଶ୍ରାବଣ ମାସରୁ ପୌଷମାସ ସୂର୍ଯ୍ୟଙ୍କ ଦକ୍ଷିଣାୟନ; ମାଘରୁ ଆଷାଢ଼ ସୂର୍ଯ୍ୟଙ୍କର ଉତ୍ତରାୟନ । ଦକ୍ଷିଣାୟନ ଦେବତାଙ୍କର ରାତ୍ରି । ତେଣୁ ଉତ୍ତରାୟନ ଦେବତାଙ୍କ ଆରାଧନାର ପ୍ରକୃଷ୍ଟ ସମୟ ।
- ରାବଣ, ବ୍ରହ୍ମାଙ୍କ ବରରେ ଅପାରଶକ୍ତିର ଆଧିକାରୀ ହୋଇଥିବାରୁ ତାଙ୍କୁ ବଧ କରିବା ନିମନ୍ତେ ଦେବୀଙ୍କ କୃପା ଆବଶ୍ୟକ । ତେଣୁ ବ୍ରହ୍ମା ଶ୍ରୀରାମଚନ୍ଦ୍ରଙ୍କୁ ଶରତ କାଳରେ ଦେବୀଙ୍କ କଳ୍ପାରମ୍ଭ କରିବାକୁ ନିର୍ଦ୍ଦେଶ ଦେଲେ ।
- କାରଣ, ଶରତକାଳ ଅକାଳ, ଆଷାଢ଼ ଶୁକ୍ଳ ଏକାଦଶୀ (ହରିଶୟନ ଏକାଦଶୀ) ଠାରୁ ହେମନ୍ତ ଶୁକ୍ଳ ଏକାଦଶୀ ପର୍ଯ୍ୟନ୍ତ ଦେବତାମାନେ ନିଦ୍ରା ଯାଆନ୍ତି । ବ୍ରହ୍ମାଙ୍କ ନିର୍ଦ୍ଦେଶ ମତେ ଶ୍ରୀରାମଚନ୍ଦ୍ର କନ୍ୟାରାଶିର ଶୁକ୍ଳପକ୍ଷ ଷଷ୍ଠୀ ତିଥିରେ ଦେବୀଙ୍କ ଅକାଳ ବୋଧନ ନିମନ୍ତେ ପୂଜାର ଆୟୋଜନ କରିଥିଲେ ।
- ଶ୍ରୀରାମଚନ୍ଦ୍ର ଦ୍ୱନ୍ଦ୍ୱରେ ପଡ଼ିଲେ । ସୃଷ୍ଟିକର୍ତ୍ତା ବ୍ରହ୍ମାଙ୍କର ନିର୍ଦ୍ଦେଶ ଓ ଦେବଦେବୀଙ୍କର ଦକ୍ଷିଣାୟନ । ଦେବୀ ଜାଗ୍ରତ ନା ନିଦ୍ରିତ ? ଦେବୀ ଏବେ ଆବିର୍ଭୂତ ହେବେ ତ ? ତେଣୁ ସେ ଧ୍ୟାନମଗ୍ନ ହୋଇ ଜାଣିପାରିଲେ ଦେବୀ ତ୍ରିଶାଖା ବିଲ୍ୱଦଳରେ ‘କୁମାରୀ’ କନ୍ୟା ରୂପେ ଶାୟିତ । ଏହି ଦୃଶ୍ୟ ଅବଲୋକନ କରି ବିଭୋର ହେଲେ ଶ୍ରୀରାମଚନ୍ଦ୍ର । ଦେବୀଙ୍କୁ ଜାଗ୍ରତ କରାଇବେ ।
- ବ୍ରହ୍ମାଙ୍କ ନିର୍ଦ୍ଦେଶରେ ଷଷ୍ଠୀଦିନ ‘ବିଲ୍ୱାଧିବାସ’ କଲେ ଶ୍ରୀରାମଚନ୍ଦ୍ର, ସକାଳେ କଳ୍ପାରମ୍ଭ ଓ ସନ୍ଧ୍ୟାବେଳେ ବିଲ୍ୱବୃକ୍ଷମୂଳେ ଆରମ୍ଭ କଲେ ଦେବୀଙ୍କ୍ ବୋଧନ । । ଷଷ୍ଠୀପରେ ସପ୍ତମୀରେ ଦେବୀଙ୍କୁ ଷୋଡ଼ଶ ଉପଚାରରେ ପୂଜା କଲେ ମଧ୍ୟ ଦେବୀଙ୍କର ନିଦ୍ରାଭଙ୍ଗ ହେଲାନି । ସେତେବେଳେ ମଧ୍ୟ ଦେବୀ ସୁପ୍ତ ଅବସ୍ଥାରେ ଥିବାରୁ ଅଷ୍ଟମୀରେ ଯୋଗିନୀମାନଙ୍କୁ ଡାକି ବିଶେଷ ପୂଜାକରିଲେ ଶ୍ରୀରାମ । ଆଗତ ଯୋଗିନୀଗଣଙ୍କ କୋଳାହଳରେ ଦେବୀ କେବଳ କଡ଼ ଲେଉଟାଇ ପୁଣି ଶୋଇଲେ । ଏହା ପରେ ଅଷ୍ଟମୀର ଶେଷ ଓ ନବମୀର ଆରମ୍ଭ ବା ସନ୍ଧିକ୍ଷଣ ସମୟରେ ଶ୍ରୀରାମଚନ୍ଦ୍ର କଲେ ସନ୍ଧିପୂଜା । ତେଣୁ ଅଷ୍ଟମୀର ଶେଷ ଦଣ୍ଡ ଓ ନବମୀର ପ୍ରଥମ ଦଣ୍ଡ(୨୪+୨୪=୪୮ମିନିଟ) ସନ୍ଧିକ୍ଷଣରେ ପୂଜା କଲେ । ଏହାକୁ ‘ସନ୍ଧିପୂଜା’ କୁହାଯାଏ ।
- ଅଷ୍ଟମୀର ଚବିଶ ମିନଟ ଓ ନବମୀର ଚବିଶ ମିନଟ, ଏହିପରି ମୋଟ ଅଠଚାଳିଶ ମିନଟ ଧରି ଦେବୀ ଚାମୁଣ୍ଡାଙ୍କର ଏହି ବିଶେଷ ସନ୍ଧିପୂଜା କରିଥିଲେ । ଶ୍ରୀରାମ ଚାମୁଣ୍ଡାଙ୍କୁ ଆବାହନ କରି ଦେବୀ ଦୁର୍ଗାଙ୍କୁ ଉଠାଇବା ପାଇଁ ନିବେଦନ କଲେ । ଚାମୁଣ୍ଡାଙ୍କ ସହଯୋଗ ଫଳରେ ନବମୀ ତିଥିରେ ଦେବୀ ଦୁର୍ଗା ଜାଗ୍ରତ ହେଲେ । ଏତିକିବେଳେ ସେ ଦେବୀଙ୍କୁ କୁମାରୀ ରୂପରେ ଦର୍ଶନ କରି ଯୋଗିନୀମାନଙ୍କ ସହିତ ବିଶେଷ ପୂଜା କରି ଏକାସାଙ୍ଗେ ଶହେଆଠ ନୀଳପଦ୍ମ ଅର୍ପଣ କରିଥିଲେ । ସେହି ଦିନଠାରୁ କୁମାରୀ ରୂପୀ ଦେବୀଙ୍କର ପୂଜାର ଆରମ୍ଭ ।
- ତେଣୁ ନବମୀ ଦିନ କୁମାରୀ ପୂଜାର ପ୍ରଚଳନ ଅଛି । କୁମାରୀ ସାକ୍ଷାତ ଯୋଗିନୀ, ପରମାଦେବୀ ପୁଣି ପରମପ୍ରକୃତି । ଶ୍ରୀ ଶ୍ରୀ ଚଣ୍ଡୀରେ ଉଲ୍ଲେଖ ଅଛି ‘ସ୍ତ୍ରୀୟା ସମସ୍ତା ସକଳ ଜଗତ ସୁ’ ଅର୍ଥାତ୍ ସମସ୍ତ ସ୍ତ୍ରୀ ଜାତି ବ୍ରହ୍ମମୟୀ, ମହାମାୟା ଜଗଜ୍ଜନନୀଙ୍କର ଏକ ଅଂଶ ବିଶେଷ । ପ୍ରତି ନାରୀ ଭଗବତୀଙ୍କ ଅଂଶ ହେଲେ ମଧ୍ୟ କୁମାରୀଙ୍କ ମଧ୍ୟରେ ଭଗବତ୍ ସତ୍ତା ବିଶେଷ ଭାବରେ ପ୍ରକାଶିତ ।
- ତନ୍ତ୍ରମତେ ଷୋହଳ ବର୍ଷ ପର୍ଯ୍ୟନ୍ତ ଅବିବାହିତା କନ୍ୟାଙ୍କୁ କୁମାରୀ କୁହାଯାଏ । ଯେତେଦିନ ପର୍ଯ୍ୟନ୍ତ କନ୍ୟା ଋତୁମତୀ ନ ହୁଅନ୍ତି ସେତେଦିନ ପର୍ଯ୍ୟନ୍ତ ‘କୁମାରୀ’ ତାହା କୁସୁମପରି ପବିତ୍ର । ତେଣୁ ସେତେଦିନ ପର୍ଯ୍ୟନ୍ତ କନ୍ୟା ଦେବସେବାରେ ନିବେଦିତ ହୋଇପାରିବେ ।
- ଏଣୁ ଦୁର୍ଗାପୂଜାର ନବମୀ ରାତ୍ରିରେ କେତେକ ବ୍ରାହ୍ମଣ ବଂଶୀୟ ସାତରୁ ଆଠ ବର୍ଷର କନ୍ୟାକୁ ପାଦରେ ଅଳତା, ଆଖିରେ କଜ୍ଜଳ ଓ କପାଳରେ ଚନ୍ଦନ ଟିପା ଦେଇ ସୁନ୍ଦର ଭାବରେ ସଜାଇ ନୂତନ ଶାଢ଼ି ପରିଧାନ କରାଇ ବିଭିନ୍ନ ଉପଢ଼ୌକନ ଦେଇ ପୂଜା କରାଯାଏ । ଏହାକୁ ‘କୁଆଁରୀ ଲକ୍ଷ୍ମୀ’ ପୂଜା କୁହାଯାଏ ।


0 Comments
Do you have any doubts or suggestions? Ask them here in the comments!